April 18, 2024

ଆଦର୍ଶ ପର୍ଯ୍ୟଟନସ୍ଥଳୀ ତାଲିକାରେ ଜଗନ୍ନାଥ ମନ୍ଦିର ଓ କୋଣାର୍କ ମନ୍ଦିରକୁ ସାମିଲ କରାଯିବା ନେଇ କେନ୍ଦ୍ର ପର୍ଯ୍ୟଟନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

1 min read

ଆଓରି-ଭୁବନେଶ୍ଵର(୨୬/୦୭) : ଦେଶର ୧୭ଟି ଆଦର୍ଶ ପର୍ଯ୍ୟଟନସ୍ଥଳୀ ତାଲିକା ସହ ଏହି ତାଲିକାରେ ପୁରୀ ଜଗନ୍ନାଥ ମନ୍ଦିର ଓ କୋଣାର୍କ ସୂର୍ଯ୍ୟ ମନ୍ଦିରକୁ ସାମିଲ କରାଯିବା ନେଇ କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ୨୦୧୯-୨୦ ଆର୍ଥିକ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପର୍ଯ୍ୟଟନ ଶିଳ୍ପର ଅଭିବୃଦ୍ଧି ପାଇଁ ୧୭ଟି ପ୍ରତିଷ୍ଠିତ ପର୍ଯ୍ୟଟନ କ୍ଷେତ୍ରକୁ ବିକଶିତ କରାଯିବ ବୋଲି ଘୋଷଣା କରିଛନ୍ତି । କେନ୍ଦ୍ର ସରକାର ଏହି ୧୭ଟି କ୍ଷେତ୍ରକୁ ମଡେଲ ପର୍ଯ୍ୟଟନ କ୍ଷେତ୍ର ଭାବରେ ବିକଶିତ କରି ବିଦେଶୀ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରାଯିବାର ଯୋଜନା ରଖିଛନ୍ତି ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ଓଡିଶାରେ କଳା, ଭାସ୍କର୍ଯ୍ୟ ତଥା ସଂସ୍କୃତି ଓ ପର୍ଯ୍ୟଟନର ଧାରା ପରିସ୍ଫୁଟ । ବିଶେଷତଃ ଶ୍ରୀକ୍ଷେତ୍ର ପୁରୀ ଓ କୋଣାର୍କର ସୂର୍ଯ୍ୟ ମନ୍ଦିର ଭଳି ପବିତ୍ର ସ୍ଥଳୀ ପର୍ଯ୍ୟଟକ ମାନଙ୍କୁ ଆକର୍ଷିତ କରିଥାଏ । ହିନ୍ଦୁଙ୍କ ପବିତ୍ର ୪ ଧାମ ମଧ୍ୟରୁ ପୁରୀର ଜଗନ୍ନାଥ ମନ୍ଦିର ଅନ୍ୟତମ । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ମଧ୍ୟ ଏଠାରେ ଅନୁଷ୍ଠିତ ହୁଏ ବୋଲି ଶ୍ରୀ ପ୍ରଧାନ କହିଛନ୍ତିା

ସେହିପରି କୋଣାର୍କର ସୂର୍ଯ୍ୟମନ୍ଦିର ଓଡିଶାର କଳାକୃତିର ପରିଚୟ ଦିଏ ଏବଂ ଏହା ବିଶ୍ୱସ୍ତରରେ ମାନ୍ୟତା ପାଇଛି । ଓଡିଶାର ସ୍ୱର୍ଣ୍ଣ ତ୍ରିଭୁଜ ଭୁବନେଶ୍ୱର, ପୁରୀ ଏବଂ କୋଣାର୍କ ମନ୍ଦିର ବିଶ୍ୱର ଲକ୍ଷ ଲକ୍ଷ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁଙ୍କୁ ଆକର୍ଷିତ କରିଥାଏ ଓ ଓଡିଆ ସମାଜ-ସଂସ୍କୃତିର ପରିଚୟ ଦିଏ ।

ତେଣୁ ଏହାକୁ ଦୃଷ୍ଟିରେ ରଖି ପୁରୀ ଜଗନ୍ନାଥ ମନ୍ଦିର ଓ କୋଣାର୍କର ସୂର୍ଯ୍ୟ ମନ୍ଦିରକୁ ଆଦର୍ଶ ପର୍ଯ୍ୟଟନ ତାଲିକାରେ ସାମିଲ କରାଯିବା ନେଇ ବ୍ୟକ୍ତିଗତ ଭାବେ ଧ୍ୟାନ ଦେବାକୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ପଟେଲଙ୍କୁ ଅନୁରୋଧ କରିଛନ୍ତି ।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.