କଳା ଓ ସଂସ୍କୃତି

ଓଡିଶାରେ ପ୍ରଥମାଷ୍ଟମୀ ପର୍ବ ପାଳିତ

ଆଜି ହେଉଛି ଓଡ଼ିଆ ପରମ୍ପରାର ଆଉ ଏକ ପର୍ବ ପ୍ରଥମାଷ୍ଟମୀ । ମାର୍ଗଶିର ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଦିନ ପାଳନ କରାଯାଏ। ଏହା ଓଡ଼ିଶାର ଏକ ପାରମ୍ପାରିକ ପର୍ବ। ଅତୀତରେ, ମାର୍ଗଶିର ମାସକୁ ବର୍ଷର ଆଦ୍ୟ ମାସ ବା ପ୍ରଥମ ମାସ ବୋଲି ଗଣନା କରାଯାଇ, ଏହି ମାସରୁ ବର୍ଷାରମ୍ଭ ହେଉଥିଲା। ତେଣୁ ବର୍ଷର ପ୍ରଥମ ମାସର ପ୍ରଥମ ଅଷ୍ଟମୀକୁ ପ୍ରଥମାଷ୍ଟମୀ ବୋଲି କୁହାଯାଉଛି । ଏହିଦିନ ବଂଶର ପ୍ରଥମ ଜାତ ସନ୍ତାନ (ପୁଅ ବା ଝିଅ)ଙ୍କୁ ନୂଆ ପୋଷାକ ପିନ୍ଧାଇ, ବନ୍ଦାପନା କରାଯାଏ।

ଏହିଦିନ ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘଜୀବନ ପାଇଁ ପୂଜାବିଧି ଅନୁଷ୍ଠିତ ହୋଇଥାଏ । ପଞ୍ଚପଲ୍ଲବ ଓ ପଞ୍ଚଶସ୍ୟରେ କଳସପୂଜା ଓ ବରୁଣ ପୂଜା ହୋଇଥାଏ । ଓଡ଼ିଆ ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀ ଦିନ ଘରର ଜ୍ୟେଷ୍ଠ ସନ୍ତାନ ସେ କନ୍ୟା ହେଉ କି ପୁତ୍ର ତାକୁ ସ୍ନାନ କରାଇ ନୂତନ ବସ୍ତ୍ର ପିନ୍ଧାଯାଇଥାଏ । ଏହାସହ ଭଗବାନଙ୍କ ଅାଗରେ ପିଢ଼ା ଉପରେ ବସାଇ ଦୁଇ କାନରେ ଫୁଲ ଓ ମୁଣ୍ଡରେ ଚନ୍ଦନ ଲଗାଇ ଦୁବ, ବରକୋଳି ପତ୍ର ଓ ହଳଦୀମିଶା ଚାଉଳ ମିଶାଇ ସେଥିରେ ମା’ ମାନେ ତାଙ୍କୁ ବନ୍ଦାପନା କରନ୍ତି ।

ବନ୍ଦାପନା ପରେ ଜ୍ୟେଷ୍ଠ ସନ୍ତାନ ଷଠୀ ଦେବୀଙ୍କୁ ମୁଣ୍ଡିଆ ମାରିବା ସହିତ ପିତାମାତାଙ୍କୁ ଓ ଗୁରୁଜନଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ଭିକ୍ଷା କରନ୍ତି । ପରିବାରର ଜ୍ୟେଷ୍ଠ ପୁତ୍ର ବା ଜ୍ୟେଷ୍ଠା କନ୍ୟାର ନବ ବସ୍ତ୍ର ପରିଧାନ ଓ ବନ୍ଦାପନା ହେବାର ଏହି ବିଶେଷ ବିଧିକୁ ‘ପଢୁଆଁ ହେବା’ କହିଥାନ୍ତି  । ପରମ୍ପରା ଅନୁଯାୟୀ ଏହି ଦିନ ଜ୍ୟେଷ୍ଠ ସନ୍ତାନ ପିନ୍ଧୁଥିବା ନୂତନ ବସ୍ତ୍ର ମାମୁଁ ଘରୁ ଆସିଥାଏ । ଏହିଦିନ ମାମୁଁମାନେ ନୂଆଲୁଗା, ମିଷ୍ଟାନ୍ନ ଓ ଅନ୍ୟାନ୍ୟ ସାମଗ୍ରୀ ସହ ଭଣଜା ଭାଣିଜୀ ଘରକୁ ଯାଇ ପଢୁଆଁ କରନ୍ତି । ଏଣ୍ଡୁରି ପିଠା ପ୍ରଥମାଷ୍ଟମୀର ବିଶେଷତ୍ୱ । ଏହି ପିଠା ପାଇଁ ହଳଦୀପତ୍ରର ବ୍ୟବହାର ମଧ୍ୟ ଅନ୍ୟ ଏକ ବିଶେଷତ୍ୱ ରହିଛି । ଅନ୍ୟ କୌଣସି ପିଠାରେ ହଳଦୀ ପତ୍ର ବ୍ୟବହୃତ ହୁଏନାହିଁ ଓ କେବଳ ପ୍ରଥମାଷ୍ଟମୀ ଉପଲକ୍ଷେ ଏଣ୍ଡୁରି ପିଠାରେ ହଳଦୀପତ୍ରର ବ୍ୟବହାର ପ୍ରସିଦ୍ଧ ।

Related Articles

Leave a Reply

Your email address will not be published. Required fields are marked *

Back to top button